ଭୁବନେଶ୍ୱର:ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆସନ୍ତା ୧୨ ତାରିଖରେ ଓଡ଼ିଶା ଫେରିବେ। ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅପରାହ୍ନ ୧ଟାରେ ପହଞ୍ଚିବେ। ନବୀନଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ତାଙ୍କୁ ସ୍ବାଗତ କରିବାକୁ ବିଜେଡି ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।
ଅସ୍ତ୍ରୋପଚାର ପରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ନବୀନ ଗତ ୭ ତାରିଖ ଦିନ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଚିକିତ୍ସାରେ ଉତ୍ସର୍ଗୀକୃତ ସେବା ପାଇଁ ସେ ହସ୍ପିଟାଲର ସମସ୍ତ ଡାକ୍ତରୀ ଟିମ୍ଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ଓଡ଼ିଶାବାସୀ, ଶୁଭେଚ୍ଛୁଙ୍କ ସମେତ ସଭିଙ୍କ ଶୁଭେଚ୍ଛା ବାର୍ତ୍ତା ଓ ମଙ୍ଗଳ କାମନା ପାଇଁ ସେ କୃତଜ୍ଞତା ଜଣାଇଛନ୍ତି।
ସୂଚନାଯୋଗ୍ୟ, ବିରୋଧୀ ଦଳ ନେତା ସର୍ଭିକାଲ ଆର୍ଥ୍ରାଇଟିସ୍ ସମସ୍ୟାରେ ପୀଡ଼ିତ ଅଛନ୍ତି। ମୁମ୍ବାଇସ୍ଥିତ କୋକିଲାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ୨୦୨୫ ଜୁନ୍ ୨୨ ତାରିଖ ଠାରୁ ତାଙ୍କର ଚିକିତ୍ସା ଆରମ୍ଭ ହୋଇଥିଲା।ଚିକିତ୍ସା ପାଇଁ ସେ ଜୁନ ମାସ ୨୦ ତାରିଖ ଦିନ ମୁମ୍ବାଇ ଯାଇଥିଲେ। ମୁମ୍ବାଇ ଯିବା ପୂର୍ବରୁ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଟୁଇଟ୍ କରି କହିଥିଲେ, ସର୍ଭିକାଲ ଆର୍ଥ୍ରାଇଟିସ୍ ସମସ୍ୟା ନେଇ ତାଙ୍କର ଚିକିତ୍ସା ହେବ। ମୁମ୍ବାଇସ୍ଥିତ କୋକିଲାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଏହି ଚିକିତ୍ସା ହେବ। ମୋର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଏହି ଚିକିତ୍ସା ହେବ। ଏଥି ପାଇଁ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ମାଗୁଛି। ଓଡ଼ିଆ ଭାଇଭଉଣୀଙ୍କର ଶୁଭକାମନା ଚାହୁଛି। ମୁଁ ଶୀଘ୍ର ସୁସ୍ଥ ହୋଇ ଫେରି ଆସିବି।